Low pressure effect: Heavy rain likely till July 8, red alert for 9 districtsLow pressure effect: Heavy rain likely till July 8, red alert for 9 districts

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଲଘୁଚାପ କ୍ରମେ ଅଧିକ ଶକ୍ତିଶାଳୀ ହେଉଥିବାରୁ ଓଡ଼ିଶାରେ ଆଗାମୀ କିଛି ଦିନ ଧରି ବ୍ୟାପକ ବର୍ଷାର ସମ୍ଭାବନା ରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାର ଲାଭ କରିଛି ଏବଂ ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇପାରେ।

ଏହାର ପ୍ରଭାବରେ ଜୁଲାଇ ୮ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଜୁଲାଇ ୪ରେ ଦକ୍ଷିଣ ଓଡ଼ିଶାର ୪ଟି ଏବଂ ଜୁଲାଇ ୫ରେ ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।

ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ ଜଳବନ୍ଦୀ, ଯାତାୟାତରେ ବାଧା, ଦୃଶ୍ୟମାନତା କମିବା, କୃଷି କ୍ଷେତ୍ରରେ କ୍ଷତି ଏବଂ ନଦୀର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ସମସ୍ତ ଜିଲ୍ଲା ପ୍ରଶାସନକୁ ସଜାଗ ରହିବା ସହ ଆବଶ୍ୟକ ପ୍ରସ୍ତୁତି ନେବାକୁ ପରାମର୍ଶ ଦେଇଛନ୍ତି।

ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଜୁଲାଇ ୭ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ସତର୍କ କରାଯାଇଛି। ସେହିପରି ପାରାଦୀପ ଓ ଧାମରା ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ବଳବତ୍ତର ରହିଛି।

ରେଡ୍ ଆଲର୍ଟ ଥିବା ଜିଲ୍ଲା

ଶନିବାର ପୂର୍ବାହ୍ନ ସୁଦ୍ଧା କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ପରବର୍ତ୍ତୀ ୨୪ ଘଣ୍ଟାରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ଅତ୍ୟନ୍ତ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ରେଡ୍ ଆଲର୍ଟ ଜାରି ରହିଛି।

ଅରେଞ୍ଜ ଓ ୟେଲୋ ସତର୍କତା

ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ସତର୍କତା ଜାରି ହୋଇଛି। ସେହିପରି କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ବଢ଼ିବ

ଜୁଲାଇ ୫ରୁ ୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ସତର୍କତା ଜାରି ହୋଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ପୁରୀ, ବଲାଙ୍ଗୀର, ରାୟଗଡ଼ା, ଅନୁଗୁଳ, ଭଦ୍ରକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ବରଗଡ଼ ଜିଲ୍ଲାର ଆମ୍ବଭୋନାରେ ସର୍ବାଧିକ ୩୨ ସେଣ୍ଟିମିଟର ବର୍ଷା ରେକର୍ଡ ହୋଇଛି।

Leave a Reply

Your email address will not be published. Required fields are marked *